ଭୁବନେଶ୍ୱର,୦୫/୦୭: ଆସନ୍ତାକାଲି ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୬ ତାରିଖ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ା । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ଦେବଗଡ଼, କୋରାପୁଟ, କଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।