ବାଲେଶ୍ୱର ଏଫଏମ୍ କଲେଜ ଘଟଣା, ରିପୋର୍ଟ ଆସିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩/୦୭: ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମାହୂତି ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସେ କହିଛନ୍ତି, ବାଲେଶ୍ୱର ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି । କେଉଁ ପରିସ୍ଥିତିରେ ଏ ଘଟଣା ଘଟିଲା ତଦନ୍ତ ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ କମିଟି ଗଢ଼ା ଯାଇଛି । ରିପୋର୍ଟ ଆସିଲେ ଏହି ଘଟଣା ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏହାସହ କିଭଳି ଭବିଷ୍ୟତରେ ଏଭଳି ଘଟଣାର ପୁନରାବୃତ୍ତି ନ ହେବ ସେଥିପାଇଁ ସରକାର ଯତ୍ନବାନ ହେଉଛନ୍ତି । କଲେଜ ଏବଂ ବୈଷୟିକ ଶିକ୍ଷାନୁଷ୍ଠାନଗୁଡିକରେ ରାଗିଙ୍ଗ, ଯୌନ ନିର୍ଯାତନା ନ ଘଟିବ ସେ ନେଇ ଆଗୁଆ ପଦକ୍ଷେପ ନେବାକୁ ସରକାର ନିଷ୍ପତି ନେଉଛନ୍ତି । ବାଲେଶ୍ବର ଫକୀର ମୋହନ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣାରେ ଚାଲିଛି ଚିକିତ୍ସା । ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି । ଛାତ୍ରୀ ଜଣକ ଅତି ସଙ୍କଟାପନ୍ନ ଅବସ୍ଥାରେ ଥିବା ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ସୂଚନା ଦେଇଛନ୍ତି । ୧୨ ଜଣିଆ ଡାକ୍ତରୀ ଦଳ ଚିକିତ୍ସାରେ ନିୟୋଜିତ ରହିଛନ୍ତି । ଅନ୍ୟପଟେ ବାଲେଶ୍ୱର ପୀଡ଼ିତାଙ୍କୁ AIIMS ଯାଇ ଭେଟିଛନ୍ତି ଓ ତାଙ୍କ ଅବସ୍ଥା ସମ୍ପର୍କରେ ଡାକ୍ତରଙ୍କଠୁ ପଚାରି ବୁଝିଛନ୍ତି । ଏହି ଘଟଣାରେ ଉଚ୍ଚଶିକ୍ଷା ବିଭାଗ ତ୍ବରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କଲେଜର ଅଧ୍ୟକ୍ଷ ଦିଲ୍ଲୀପ କୁମାର ଘୋଷ ଓ ଅଭିଯୁକ୍ତ ସହକାରୀ ପ୍ରଫେସର ସମୀର କୁମାର ସାହୁଙ୍କୁ ନିଲମ୍ବିତ କରିଛନ୍ତି । ଏଥି ସହିତ ସହକାରୀ ପ୍ରଫେସର ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ ମଧ୍ୟ କରାଯାଇଛି ।