ନୂଆଦିଲ୍ଲୀ,୦୫/୦୮: ପରଲୋକରେ ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ୍। ଦୀର୍ଘ ଦିନ ଧରି ଅସୁସ୍ଥ ରହିବା ପରେ ଆଜି ଦିନ ପ୍ରାୟ ୧ଟା ସମୟରେ ତାଙ୍କର ଦେହାନ୍ତ ହୋଇଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ନୂଆଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ସେଠାରେ ସେ ଆଜି ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ସୂଚନା ମୁତାବକ, ସେ ଦୀର୍ଘ ଦିନ ଧରି କିଡନୀ ରୋଗରେ ପୀଡିତ ଥିଲେ। ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ମେ’ ୧୧ ତାରିଖରେ ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଦୀର୍ଘ ଦିନ ଧରି ମୃତ୍ୟୁ ସହ ସଂଗ୍ରାମ କରିବା ପରେ ଆଜି ସେ ହାରିଯାଇଛନ୍ତି । ଉଲ୍ଲେଖଯୋଗ୍ୟ, ସତ୍ୟପାଲ ମାଲିକ ଅଗଷ୍ଟ ୨୦୧୮ରୁ ଅକ୍ଟୋବର ୨୦୧୯ପର୍ଯ୍ୟନ୍ତ ଜମ୍ମୁ ଏବଂ କାଶ୍ମୀର ରାଜ୍ୟର ଶେଷ ରାଜ୍ୟପାଳ ଥିଲେ। ତାଙ୍କ କାର୍ଯ୍ୟକାଳ ସମୟରେ ୫ଅଗଷ୍ଟ, ୨୦୧୯ରେ ଧାରା ୩୭୦ରଦ୍ଦ କରାଯାଇଥିଲା। ଜମ୍ମୁ ଓ କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ସତ୍ୟପାଲ ମଲିକଙ୍କୁ ଗୋଆର ୧୮ତମ ରାଜ୍ୟପାଳ ଭାବରେ ନିଯୁକ୍ତ କରାଯାଇଥିଲା। ସେ ଅକ୍ଟୋବର ୨୦୨୨ପର୍ଯ୍ୟନ୍ତ ମେଘାଳୟର ୨୧ତମ ରାଜ୍ୟପାଳ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ।