ଭୁବନେଶ୍ୱର,୦୩/୦୯: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇପାରେ । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଆଡ଼କୁ ଗତି କରିବା ସହ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ଲଘୁଚାପ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ବିଶେଷ କରି ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷିଛି । ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ସମ୍ବଲପୁର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ସେଥିପାଇଁ ଏହି ୩ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ ବରଗଡ଼, ସୋନପୁର, ବୌଦ୍ଧ, କୋରାପୁଟ, ବଲାଙ୍ଗୀର ଓ ନୂଆପଡ଼ାରେ ବି ବଜ୍ରପାତ ସହ ପ୍ରବଳ ବର୍ଷିପାରେ । ଏଥିସହ ସମଗ୍ର ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ରାଜ୍ୟରେ ୬ ତାରିଖ ଯାଏଁ ଏହିଭଳି ବର୍ଷା ଜାରି ରହିବ ।