ଭୁବନେଶ୍ୱର,୧୨/୦୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଓଡ଼ିଶାରେ ଜାରି ରହିଛି ବର୍ଷା । ଏହା ଅଧିକ ଘନୀଭୂତ ହୋଇ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ରେ ପ୍ରବଳରୁ ଅତିପ୍ରବଳ ଅର୍ଥାତ୍ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।ଆଜି ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲାର କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ଜୋରଦାର ପବନ ବହିବାର ସମ୍ଭାବନା ରହିଛି ।