ଭୁବନେଶ୍ୱର,୧୯/୦୯: ଲଘୁଚାପ ପ୍ରଭାବରେ ରାଜ୍ୟରେ ପୁଣି ବଢ଼ିବ ବର୍ଷା । ୫ ଦିନ ପାଇଁ ସତର୍କ କଲା ପାଣିପାଗ ବିଭାଗ। ଉତ୍ତର ଆଣ୍ଡାମାନ ସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ଗଠନ ହେବାର ସମ୍ଭାବନା ରହିଛି । ଫଳରେ ଆଗାମୀ କିଛି ଦିନ ଓଡ଼ିଶାର ଅନେକ ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ଆଶଙ୍କା ରହିଛି ।
୨୨ ସେପ୍ଟେମ୍ବରରୁ ବର୍ଷାର ପ୍ରଭାବ ଆହୁରି ବଢ଼ିବା ସହ ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୩ ଓ ୨୪ ସେପ୍ଟେମ୍ବରରେ କନ୍ଧମାଳ, ଗଜପତି, ଗଞ୍ଜାମ ଓ ପୁରୀରେ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଚେତାବନୀ ଜାରି ହୋଇଛି। ବର୍ଷା ସହ ଘଡ଼ଘଡ଼ି, ବଜ୍ରପାତ ଓ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିପାରେ । ଓଡ଼ିଶା ଉପକୂଳ ସମୁଦ୍ର ଅଶାନ୍ତରୁ ଅତ୍ୟନ୍ତ ଅଶାନ୍ତ ରହିପାରେ । ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପରାମର୍ଶ ଦେଇଛି ।