ଦୁର୍ବଳ ହୋଇ ଅବପାତରେ ପରିଣତ ହେଲା ଅର୍ଣ୍ଣବ, ରାଜ୍ୟର ଏକାଧିକ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର,୨୮/୧୦: ଲ୍ୟାଣ୍ଡଫଲ୍ ପରେ ଦୁର୍ବଳ ହୋଇ ଅବପାତରେ ପରିଣତ ହୋଇଛି ଅର୍ଣ୍ଣବ । ଆଜି ସନ୍ଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଛତିଶଗଡ଼ ଆଡ଼କୁ ମୁହାଁଇବ । ବାତ୍ୟାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସହ ଝଡ଼ ପବନ ଆଶଙ୍କା ରହିଛି । ଏଥିପାଇଁ ଆସନ୍ତା ୨୪ ଘଣ୍ଟା ଲାଗି ଏକାଧିକ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଅନ୍ୟପଟେ ଅନେକ ଜିଲ୍ଲା ପାଇଁ ଜାରି ହୋଇଛି ଅରେଞ୍ଜ ଆଲର୍ଟ । ସମୁଦ୍ର ଅଶାନ୍ତ ରହିବା ଆଶଙ୍କା ଥିବାରୁ ମତ୍ସ୍ୟଜୀବୀଙ୍କୁ ଆସନ୍ତାକାଲି ପର୍ଯ୍ୟନ୍ତ ସମୁଦ୍ରକୁ ନଯିବାକୁ ସତର୍କ କରାଯାଇଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକରେ ଘଣ୍ଟାପ୍ରତି ୬୦ରୁ ୭୦ କିଲୋମିଟର ବେଗରେ ପବନ ବହିବା ସହ ଝଟକା ପବନର ବେଗ ୮୦ କିଲୋମିଟର ଛୁଇଁପାରେ । ଏଥିସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ସେହିପରି କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବରଗଡ଼, ବୌଦ୍ଧ, କଳାହାଣ୍ଡି, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ଏହି ଜିଲ୍ଲାଗୁଡ଼ିକରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ଝଟକା ପବନର ବେଗ ୬୦ କିଲୋମିଟର ରହିପାରେ । ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଏଠାରେ ଘଣ୍ଟାପ୍ରତି ୧୫ କିଲୋମିଟର ବେଗରେ ପବନ ବହିଥିବା ବେଳେ ଝଟକା ପବନର ବେଗ ୪୨.୪ କିଲୋମିଟର ରେକର୍ଡ ହୋଇଛି । ଗୋପାଳପୁରରେ ମଧ୍ୟ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହୁଛି । ଆଗାମୀ ୨୪ ଘଣ୍ଟାରେ ରାଜ୍ୟର ସମସ୍ତ ଅଞ୍ଚଳରେ ବର୍ଷା ହେବା ସମ୍ଭାବନା ରହିଛି । ବିଶେଷକରି ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ବନ୍ଦରଗୁଡ଼ିକରେ ୩ ନମ୍ବର ବିପଦ ସଂକେତ ଜାରି ହୋଇଛି ।

Leave a Reply

Your email address will not be published. Required fields are marked *