ଭୁବନେଶ୍ୱର,୧୦/୦୭: ଆଜି ଅଣସରର ଏକାଦଶ ଦିନ, ଦଶମୀ ତିଥି । ଅଣସର ତାଟି ଭିତରେ ଦଇତାପତି ସେବାୟତଙ୍କ ଗୁପ୍ତ ଉପଚାର ପରେ ଶ୍ରୀବିଗ୍ରହଙ୍କ ଶରୀରରୁ ତାତି ଓହ୍ଲାଇଛି । ଆଜି ଶୟନ ଅବସ୍ଥାରୁ ଉଠି ଚକା ଉପରେ ବିଜେ କରିବେ ମହାପ୍ରଭୁ । ଅନ୍ୟପଟେ ଶ୍ରୀବିଗ୍ରହଙ୍କ ସମ୍ପୂର୍ଣ୍ଣ ସୁସ୍ଥତା ପାଇଁ ରାଜବୈଦ୍ୟ ଦଶମୂଳମୋଦକ ପ୍ରସ୍ତୁତ କରି ଶ୍ରୀମନ୍ଦିର ଗାରଦରେ ଜିମାଦେବେ । ଆସନ୍ତାକାଲି ମହାପ୍ରଭୁ ଦଶମୂଳମୋଦକ ସେବନ ପରେ ସମ୍ପୂର୍ଣ୍ଣ ସୁସ୍ଥ ହେବେ। ତେବେ ଅଣସର ପଞ୍ଚମୀ ତିଥିରେ ଫୁଲୁରୀ ତେଲ ଓ ତା ପରଦିନ ଠାରୁ ଚାରି ଦିନ ଧରି ଓଷ ଲାଗି ପରେ ଆଜି ଦଶମୀ ତିଥିରେ ଚକାବିଜେ ହେବେ ଶ୍ରୀଜିଉ ।ସ୍ନାନପୂର୍ଣ୍ଣିମା ଦିନ ପ୍ରତ୍ୟେକ୍ଷ ସ୍ନାନ କରି ଅସୁସ୍ଥ ହୋଇପଡିଥିବା ଶ୍ରୀବିଗ୍ରହ ଏବେ ଦଇତାପତିଙ୍କ ଗୁପ୍ତ ଉପଚାର ପରେ ଧୀରେ ଧୀରେ ସୁସ୍ଥ ହୋଇ ଶୋଇବା ଅବସ୍ଥାରୁ ଉଠି ବସିବେ । ଆଜି ଶ୍ରୀମନ୍ଦିରରେ ମଧ୍ୟାନ୍ନ ଧୂପ ଓ ଭୋଗମଣ୍ଡପ ନୀତି ପରେ ଜୟବିଜୟ ଦ୍ୱାର ବନ୍ଦ କରାଯାଇ ବେହେରଣ ଦ୍ୱାର ଫିଟାଯିବା ସହ ଅନବସର ନୀତି ଅନୁଷ୍ଠିତ ହେବ ।