ଭୁବନେଶ୍ୱର,୨୪/୦୬: ମହାପ୍ରଭୁଙ୍କ ଦଶମୂଳ ମୋଦକ ଚୋରି ଘଟଣାରେ ରିପୋର୍ଟ ତଲବ କଲେ ଆଇନମନ୍ତ୍ରୀ। କହିଲେ, ଶ୍ରୀମନ୍ଦିରରୁ ରିପୋର୍ଟ ଆସିବା ପରେ ନିଆଯିବ କାର୍ଯ୍ୟାନୁଷ୍ଠାନ । ଏପଟେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବିଭ୍ରାଟ ନେଇ ନିଯୋଗକୁ ରିପୋର୍ଟ ମାଗିଥିବା ସୂଚନା ମିଳିଛି । ଶ୍ରୀଜିଉଙ୍କ ମୋଦକ ଚୋରି ହେବା ପରେ, ମହାପ୍ରଭୁଙ୍କ ଠାରେ ଲାଗି ହୋଇଥିଲା, ମାରା ମୋଦକ । ୭୦ଟି ମୋଦକ ଚୋରି ହୋଇଯାଇଥିବା ଅଭିଯୋଗ ହୋଇଥିଲା । କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଚିଠି ଲେଖିଥିଲେ ବଳଭଦ୍ରଙ୍କ ବାଡ଼ଗ୍ରାହୀ ହଳଧର ଦାସ ମହାପାତ୍ର । ସ୍ନାନ ପୂର୍ଣ୍ଣିମାରେ ମହାସ୍ନାନ ପରେ ଜ୍ବରରେ ପୀଡିତ ଅଛନ୍ତି ମହାପ୍ରଭୁ। ସୁସ୍ଥ ହେବା ପାଇଁ ପାରମ୍ପରିକ ପଦ୍ଧତିରେ ଚାଲିଛି ଚିକିତ୍ସା। ଫୁଲୁରି ତେଲ ଲାଗି ପରେ ରାଜବୈଦ୍ୟ ଦଶମୂଳ ମୋଦକ ଗାରଦରେ ଦାଖଲ କରିବାର ପରମ୍ପରା ରହିଛି। ରାଜବୈଦ୍ୟ ମୋଟ ୩୧୩ଟି ମୋଦକ ଦାଖଲ କରିଥାନ୍ତି। କିନ୍ତୁ ଏଥିରୁ ୭୦ଟି ମୋଦକ କମ ଥିବା ଅଭିଯୋଗ କରିଛନ୍ତି ବଳଭଦ୍ରଙ୍କ ବାଡ଼ଗ୍ରାହୀ। ୩୧୩ ସ୍ଥାନରେ ୨୪୩ଟି ମୋଦକ ମହାପ୍ରଭୁଙ୍କୁ ଲାଗି କରାଯାଇଥିବା ଅଭିଯୋଗ ଆଣିଛନ୍ତି ହଳଧର ଦାସ ମହାପାତ୍ର। ୭୦ଟି ମୋଦକ ଚୋରି ହୋଇଛି ।