ଭୁବନେଶ୍ୱର,୧୬/୦୮: ଲଗାଣ ବର୍ଷା ଯୋଗୁଁ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ସେପଟେ ପୁଣି ଆସୁଛି ଆଉ ଏକ ଲଘୁଚାପ । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାର ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଜିଠୁ ବଢ଼ିବ ବର୍ଷାର ପରିମାଣ। ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ସକାଳ ସାଢେ ୮ଟା ଯାଏଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆଜିଠୁ ଆସନ୍ତାକାଲି ସକାଳ ଯାଏଁ ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ୱର ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରିଛି ପାଣିପାଗ କେନ୍ଦ୍ର । ଆସନ୍ତାକାଲି ତାରିଖରେ ୨ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ, ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଭୀଷଣ ବର୍ଷା ହେବା ସମ୍ଭାବନା ରହିଛି । ସେଥିପାଇଁ ଏହି ଦୁଇ ଜିଲ୍ଲାକୁ ରେଡୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।