ଭୁବନେଶ୍ୱର,୨୨/୦୯: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଏବେ ଅବପାତରେ ପରିଣତ ହୋଇଛି । ଏହି ଅବପାତ ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଥିବାବେଳେ ଆହୁରି ଶକ୍ତିଶାଳୀ ହେବାର ଆକଳନ କରାଯାଇଛି । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ, ଆଜି ଏହା ଗଭୀର ଅବପାତର ରୂପ ନେଇପାରେ । ବର୍ତ୍ତମାନ ଏହି ପାଣିପାଗ ପ୍ରଣାଳୀ ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇଛି । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଆଗକୁ ବଢ଼ି ୨୩ ତାରିଖ ରାତିରୁ ୨୪ ତାରିଖ ସକାଳ ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ, ବିଶାଖାପାଟଣାରୁ ଗୋପାଳପୁର ମଧ୍ୟରେ ଅତିକ୍ରମ କରିପାରେ ।
ଅବପାତର ପ୍ରଭାବରେ ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବା ନେଇ ପୂର୍ବାନୁମାନ କରାଯାଇଛି । ବିଶେଷକରି ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ୨୩ ଓ ୨୪ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ କେତେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇପାରେ । ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ମାଲକାନଗିରି ଭଳି ଜିଲ୍ଲାରେ ବର୍ଷାର ପ୍ରଭାବ ଅଧିକ ରହିବା ଆଶଙ୍କା ରହିଛି । ଏହାସହ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନ୍ୟ କିଛି ଜିଲ୍ଲାରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ବର୍ଷା ସହ ଦକ୍ଷିଣ ଓଡ଼ିଶା ଉପକୂଳ ଓ ସଂଲଗ୍ନ ସମୁଦ୍ର ଅଞ୍ଚଳରେ ପବନର ବେଗ ବଢ଼ିବାର ମଧ୍ୟ ଆକଳନ କରାଯାଇଛି। ଉପକୂଳ ନିକଟରେ ପାଣିପାଗ ଅଧିକ ଅଶାନ୍ତ ରହିପାରେ। ଏହି କାରଣରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାକୁ ସତର୍କ କରାଯାଇଛି ।