ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୦୮/୦୯: ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ଘଟିଛି । ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି ବିଜେଡି ନୂଆପଡ଼ା ବିଧାୟକ । ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା । ହୃଦଘାତର ଶିକାର ହେବାପରେ ଘରୋଇ ହସ୍ପିଟାଲରେ ତାଙ୍କ ଚିକିତ୍ସା ଚାଲିଥିଲା । ପୁଅ ଜୟ ଢୋଲକିଆ ବିଜେଡି ବିଧାୟକଙ୍କ ମୃତ୍ୟୁ ଖବର ସେୟାର କରିଛନ୍ତି । ନୂଆପଡ଼ା ବିଧାନସଭା ଆସନରୁ ୪ ଥର ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ ରାଜେନ୍ଦ୍ର ଢୋଲକିଆ । ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକରେ ଗଭୀର ଦୁଖଃପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହାସହ ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି । ସେ କହିଛନ୍ତି ବିଜୁ ଜନତା ଦଳର ବରିଷ୍ଠ ରାଜନେତା, ନୂଆପଡ଼ାର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଗଭୀର ଦୁଃଖିତ। ଦଳର ସଙ୍ଗଠନକୁ ମଜଭୁତ କରିବା ସହ ଲୋକଙ୍କ ହକ୍ ପାଇଁ ସ୍ୱର ଉଠାଇବାରେ ସେ ସବୁବେଳେ ଆଗରେ ଥିଲେ। ତାଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି। ଜନସେବାରେ ତାଙ୍କର କାର୍ଯ୍ୟ ସବୁବେଳେ ସ୍ମରଣୀୟ ରହିବ। ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ସମବେଦନା ଜଣାଉଛି।