ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ଘଣ୍ଟା ବନ୍ଦ ରହବ ଦର୍ଶନ

ଭୁବନେଶ୍ୱର,୦୩/୧୨: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ମାର୍ଗଶୀର କୃଷ୍ଣ ତ୍ରୟୋଦଶୀ ତିଥିରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ବିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ବନକଲାଗି କରାଯିବ । ତେଣୁ ସନ୍ଧ୍ୟା ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହବ । ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ପ୍ରତିମାସରେ ହାରାହାରି ଦୁଇଥର ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ ବନକଲାଗି ହୋଇଥାଏ । ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ ଗୋଷ୍ଠୀର ସେବକମାନଙ୍କଦ୍ୱାରା କରାଯାଇଥାଏ । ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ । ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଦେବତାମାନଙ୍କର ମୁଖସିଂହାର କରନ୍ତି । ତିନି ଦାରୁମୂର୍ତ୍ତିଙ୍କ ମୁଖମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ । କବି ସାଲବେଗ ମହାପ୍ରଭୁଙ୍କ ଶ୍ରୀମୁଖ ଦେଖି ଲେଖିଛନ୍ତି ‘ଝଲମଲ ଦିଶୁଥାଇ ମୁକୁତାର ଝଟକ’ । କୌଣସି ଆଭୂଷଣ ନଥାଇ ମହାପ୍ରଭୁଙ୍କ ମୁଖମଣ୍ଡଳ ଭକ୍ତଙ୍କୁ ଆକର୍ଷିତ କରେ ।